Fri. Mar 6th, 2026

ଆରପାରିରେ ଭାରତର ପୂର୍ବତନ ରାଷ୍ଟ୍ରପତି ତଥା ଭାରତ ରତ୍ନ ପ୍ରଣବ ମୁଖାର୍ଜୀ

305 Views

ନୂଆଦିଲ୍ଲୀ, ଅଗଷ୍ଟ ୩୧ : ପୂର୍ବତନ ରାଷ୍ଟ୍ରପତି ତଥା ବର୍ଷିୟାନ୍ କଂଗ୍ରେସ ନେତା ପ୍ରଣବ ମୁଖାର୍ଜୀଙ୍କର ଦିଲ୍ଲୀସ୍ଥିତ ଏକ ଡାକ୍ତରଖାନାରେ ଦେହାନ୍ତ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ହୋଇଥିଲା । ତାଙ୍କର ପୁତ୍ର ଅଭିଜିତ୍ ମୁଖାର୍ଜ୍ଜୀ ଟୁଇଟ୍ କରି ଏହି ସୂଚନା ଦେଇଛନ୍ତି।

ଦେଶର ୧୩ତମ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ ୨୦୧୯ରେ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ‘ଭାରତ ରତ୍ନ’ରେ ଭୂଷିତ କରାଯାଇଥିଲା । ୨୦୧୨ରୁ ୨୦୧୭ ପର୍ଯ୍ୟନ୍ତ ରାଷ୍ଟ୍ରପତି ରହିଥିବା ପ୍ରଣବ ମୁଖାର୍ଜୀ କଂଗ୍ରେସର ଜଣେ ବରିଷ୍ଠ ନେତା ଏବଂ କେନ୍ଦ୍ରରେ କଂଗ୍ରେସ ସରକାରରେ ସେ ଅର୍ଥମନ୍ତ୍ରୀ, ପ୍ରତିରକ୍ଷା ମନ୍ତ୍ରୀ ଏବଂ ବୈଦେଶିକ ମନ୍ତ୍ରୀ ପଦ ମଧ୍ୟ ଅଳଙ୍କୃତ କରିଛନ୍ତି।୧୯୮୪ରେ ଇନ୍ଦିରା ଗାନ୍ଧୀଙ୍କ କ୍ୟବିନେଟରେ ସେ ଦେଶର ଅର୍ଥମନ୍ତ୍ରୀ ଥିଲେ। ପରେ ନରସିଂହ ରାଓଙ୍କ ମନ୍ତ୍ରିମଣ୍ଡଳରେ ସେ ୧୯୯୫ରୁ ୧୯୯୬ ପର୍ଯ୍ୟନ୍ତ ବୈଦେଶିକ ମନ୍ତ୍ରୀ ରହିଥିଲେ।

ଅଗଷ୍ଟ ୧୦ ତାରିଖ ଦିନ ଶ୍ରୀ ମୁଖାର୍ଜୀ ରାଜାଜୀ ମାର୍ଗସ୍ଥିତ ତାଙ୍କ ବାସଭବନରେ ପଡ଼ିଯାଇଥିଲେ। ଚିକିତ୍ସା ନିମନ୍ତେ ତାଙ୍କୁ ନୂଆ ଦିଲ୍ଲୀସ୍ଥିତ ଆର୍ମି ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ପଡ଼ିବା ଯୋଗୁଁ ତାଙ୍କ ମସ୍ତିଷ୍କରେ ରକ୍ତ ଜମାଟ ବାନ୍ଧିଯାଇଥିଲା। ରକ୍ତ ଟେଳାଟିକୁ ବାହାର କରିବାକୁ ମସ୍ତିଷ୍କରେ ଜଟିଳ ଅସ୍ତ୍ରୋପଚାର କରିବାକୁ ପଡ଼ିଥିଲା। ଏହାପରେ ତାଙ୍କୁ ଭେଣ୍ଟିଲେଟର୍‌ ସହାୟତାରେ ରଖାଯାଇଥିଲା ଓ ସେ ଗଭୀର କୋମା ଅବସ୍ଥାରେ ଥିଲେ। ଏହା ପରେ ଫୁସ୍‌ଫୁସ୍‌ ସଂକ୍ରମଣ କାରଣରୁ ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଅବନତି ଘଟିଚାଲିଥିଲା।

By amfnews

Related Post