Thu. Mar 12th, 2026

୧୧ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି

198 Views

ଭୁବନେଶ୍ୱର :  ଆଜି ରାଜ୍ୟର ୧୧ଟି ଜିଲ୍ଲାରେ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିପାଇଁ ସକାଳ ୧୦ଟା ୧୫ ପର୍ଯ୍ୟନ୍ତ ଏହି ଜିଲ୍ଲାଗୁଡ଼ିକୁ ସତର୍କ ସୂଚନା ଜାରି କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଜାରି କରାଯାଇଛି।

ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, କନ୍ଧମାଳ, ସମ୍ବଲପୁର, ଝାରସୁଗୁଡ଼ା, ଅନୁଗୋଳ, ଦେବଗଡ଼, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ବର୍ଷା ଏବଂ ବଜ୍ରପାତ ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଏମିତିରେ ଲଗୁଚାପ ପ୍ରଭାବରେ ଆଜି ଓ ଆସନ୍ତାକାଲି ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଗତକାଲି ସୂଚନା ଦିଆଯାଇଥିଲା। ଆଜି ଉତ୍ତର ଓଡ଼ିଶା ଉପକୂଳ ଓ ମୟୂରଭଞ୍ଜ, ସୋନପୁର, କେନ୍ଦୁଝର, ବଲାଙ୍ଗୀର, ବରଗଡ଼, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ନୟାଗଡ଼ ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଥିବା ନେଇ ଗତକାଲି କୁହାଯାଇଥିଲା। ଏଥିପାଇଁ ଏସବୁ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂପୁର, କନ୍ଧମାଳ, ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାର କେତେକ ସ୍ଥାନରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟ ସବୁ ଜିଲ୍ଲାଗୁଡ଼ିକରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୧୪ ତାରିଖରେ ଦକ୍ଷିଣ ଓଡ଼ିଶାର ଆଭ୍ୟନ୍ତରୀଣ ଅଞ୍ଚଳ ସମେତ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ରେ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏସବୁ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ ମୟୂରଭଞ୍ଜ, କେନ୍ଦୁଝର, ଗଜପତି,ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୁଳ ଓ ଯାଜପୁର ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମତ୍ସ୍ୟଜୀବୀମାନଙ୍କୁ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନଯିବା ପାଇଁ ପରାମର୍ଶ ଜାରି କରାଯାଇଛି।

By amfnews

Related Post