Fri. Apr 24th, 2026

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଭ୍ୟନ୍ତର ଓ ଉପକୂଳ ଓଡ଼ିଶାର ଏହି ସବୁ ଜିଲ୍ଲାରେ ରହିଛି କାଳବୈଶାଖୀ ସମ୍ଭାବନା

291 Views

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଦକ୍ଷିଣ ଆଭ୍ୟନ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ବିଶେଷକରି ନୂଆପଡ଼ା, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ଫୁଲବାଣୀ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ପବନ ସହ ବର୍ଷା ଓ ବଜ୍ରପାତର ଆଶଙ୍କା ରହିଥିବା ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସାଟେଲାଇଟ୍‌ ଚିତ୍ର ଓ ଡପ୍‌ଲର ରାଡାର ସୂଚନାକୁ ଆଧାର କରି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏହି ସତର୍କ ସୂଚନାରେ କୁହାଯାଇଛି ଯେ ଏହି ସମସ୍ତ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହଠାତ୍‌ ପାଗରେ ପରିବର୍ତ୍ତନ ହେବା ସହ କାଳବୈଶାଖୀ ଜନିତ ଝଡ଼ପବନ ସହ ବର୍ଷା ଆରମ୍ଭ ହୋଇଯିବ। ଏଥିସହ ଏହି ସମୟ ମଧ୍ୟରେ ଏହି ସମସ୍ତ ସ୍ଥାନରେ ଘଣ୍ଟାପ୍ରତି ୩୦ର ୪୦ କିଲୋମିଟର ବେଗରେ ପବନ ବହିବା ସହ ବଜ୍ରପାତର ଆଶଙ୍କା ରହିଥିବାରୁ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବାକୁ ଜାରି ସତର୍କ ସୂଚନାରେ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

ଅନ୍ୟପକ୍ଷରେ ରାଜ୍ୟରେ ଆଜି ବି ଗ୍ରୀଷ୍ମପ୍ରବାହ ଜାରି ରହିଛି। ଗତକାଲି ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୯ ଡିଗ୍ରି ସେଲସିୟସ୍‌ ସୁନ୍ଦରଗଡ଼ ଠାରେ ରେକର୍ଡ କରା ଯାଇଥିବା ବେଳେ ସର୍ବନିମ୍ନ ତାପମାତ୍ରା ୧୬.୬ ଡିଗ୍ରି ସେଲସିୟସ୍‌ ଅନୁଗୁଳ ଠାରେ ରେକର୍ଡ କରା ଯାଇଥିଲା।

By amfnews

Related Post